1 ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?
2 କାରଣ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?
3 ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?
4 ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ?
5 ଯେବେ ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
6 ତେବେ ମୁଁ ଧର୍ମନିକ୍ତିରେ ତୌଲା ଯାଏ, ତହିଁରେ ପରମେଶ୍ଵର ମୋହର ସରଳତା ଜାଣି ପାରିବେ ।
7 ଯେବେ ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯେବେ ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
8 ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ ।
9 ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ଵାର ନିକଟରେ ଲୁଚି ବସିଥାଏ;
10 ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ ।
11 କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ;
12 କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋʼ ସର୍ବସ୍ଵର ମୂଳୋତ୍ପାଟନ କରନ୍ତା ।
13 ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯେବେ ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
14 ତେବେ ପରମେଶ୍ଵର ଉଠିଲେ, ମୁଁ କଅଣ କରିବି? ଓ ସେ ତତ୍ତ୍ଵ କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି?
15 ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?
16 ଯେବେ ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
17 ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;
18 (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି ।)
19 ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
20 ଯେବେ ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;
21 ମୁଁ ନଗର-ଦ୍ଵାରରେ ନିଜ ଉପକାରୀକି ଦେଖି ଯେବେ ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
22 ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ ।
23 କାରଣ ପରମେଶ୍ଵରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ଵ ହେତୁରୁ ମୁଁ କିଛି କରି ପାରିଲି ନାହିଁ ।
24 ଯେବେ ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;
25 ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯେବେ ମୁଁ ଆନନ୍ଦ କରିଥାଏ;
26 ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯେବେ ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
27 ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ଵନ କରିଥାଏ;
28 ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ଵବାସୀ ପରମେଶ୍ଵରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି ।
29 ମୋʼ ଘୃଣାକାରୀର ବିନାଶରେ ଯେବେ ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;
30 (ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ; )
31 ମୋʼ ତମ୍ଵୁସ୍ଥିତ ଲୋକେ କି କହି ନ ଥାʼନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ?
32 ବିଦେଶୀ ଦାଣ୍ତରେ ରାତ୍ରିକ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ଵାର ମୁକ୍ତ କଲି;
33 ଯେବେ ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ଵାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
34 ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟ-ମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯେବେ ମୁଁ ନୀରବ ହୋଇ ଦ୍ଵାର ବାହାରକୁ ଯାଇ ନ ଥାଏ-
35 ଆଃ, କେହି ଯେବେ ମୋʼ କଥା ଶୁଣିବାକୁ ଥାʼନ୍ତାଣ! (ଏହି ଦେଖ ମୋହର ସ୍ଵାକ୍ଷର, ସର୍ବଶକ୍ତିମାନ ମୋତେ ଉତ୍ତର ଦେଉନ୍ତୁ; ) ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯେବେ ମୁଁ ପାଆନ୍ତି!
36 ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି ।
37 ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ରାଜା ପରି ତାହାର ନିକଟକୁ ଯାଆନ୍ତି ।
38 ଯେବେ ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
39 ଯେବେ ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
40 ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ । ଆୟୁବର ବାକ୍ୟ ସମାପ୍ତ ।